ଲୋକସଭା ସଚିବାଳୟ
ଭୁବନେଶ୍ୱରରେ ଅନୁସୂଚିତ ଜାତି ଏବଂ ଜନଜାତି କଲ୍ୟାଣ ସମିତି ଅଧ୍ୟକ୍ଷମାନଙ୍କ ଦୁଇଦିନିଆ ଜାତୀୟ ସମ୍ମିଳନୀକୁ ଉଦଘାଟନ କରିବେ ଲୋକସଭା ବାଚସ୍ପତି
Posted On:
26 AUG 2025 8:20PM by PIB Bhubaneshwar
- ଓଡ଼ିଶାର ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, କେନ୍ଦ୍ର ମନ୍ତ୍ରୀ, ରାଜ୍ୟସଭା ଉପାଧ୍ୟକ୍ଷ; ଓଡ଼ିଶା ବିଧାନସଭାର ବାଚସ୍ପତି, ଉପମୁଖ୍ୟମନ୍ତ୍ରୀ; ସଂସଦ ଏବଂ ରାଜ୍ୟ ବିଧାନସଭାରେ ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ ସମିତିର ଅଧ୍ୟକ୍ଷମାନେ ଏହି ସମ୍ମିଳନୀରେ କରିବେ ଅଂଶଗ୍ରହଣ
- ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳ ବିଧାନସଭାଗୁଡ଼ିକର ୧୨୦ରୁ ଅଧିକ ପ୍ରତିନିଧି ସମ୍ମିଳନୀରେ ହେବେ ସାମିଲ
- ସମ୍ମିଳନୀର ବିଷୟବସ୍ତୁ ହେଉଛି - ‘‘ଅନୁସୂଚିତ ଜାତି ଏବଂ ଜନଜାତିଙ୍କ କଲ୍ୟାଣ, ବିକାଶ ଏବଂ ସଶକ୍ତିକରଣରେ ସଂସଦୀୟ ଏବଂ ବିଧାନସଭା ସମିତିଗୁଡ଼ିକର ଭୂମିକା’’
ଲୋକସଭା ବାଚସ୍ପତି ଶ୍ରୀ ଓମ୍ ବିର୍ଲା ୨୯ ଅଗଷ୍ଟ ୨୦୨୫ରେ ଭୁବନେଶ୍ୱରଠାରେ ସଂସଦ ଏବଂ ରାଜ୍ୟ ବିଧାନସଭାର ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ ଉପରେ ଗଠିତ ସମିତିର ଅଧ୍ୟକ୍ଷମାନଙ୍କ ଜାତୀୟ ସମ୍ମିଳନୀକୁ ଉଦଘାଟନ କରିବେ। ଶ୍ରୀ ବିର୍ଲା ଏହି ଅବସରରେ ଏକ ପ୍ରଦର୍ଶନୀକୁ ଉଦଘାଟନ କରିବେ ଏବଂ ଏକ ସ୍ମରଣୀକାକୁ ମଧ୍ୟ ଉନ୍ମୋଚନ କରିବେ।
ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ; କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଶ୍ରୀ ଜୁଏଲ ଓରାମ; କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ; ରାଜ୍ୟସଭା ଉପାଧ୍ୟକ୍ଷ ଶ୍ରୀ ହରିବଂଶ; ଏବଂ ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ ସଂସଦୀୟ ସମିତିର ଅଧ୍ୟକ୍ଷ ଡକ୍ଟର ଫଗନ ସିଂହ କୁଲସ୍ତେ ମଧ୍ୟ ଏହି କାର୍ଯ୍ୟକ୍ରମରେ ଯୋଗ ଦେବା ସହିତ ଉପସ୍ଥିତ ବିଶିଷ୍ଟ ବ୍ୟକ୍ତିବିଶେଷଙ୍କୁ ସମ୍ବୋଧିତ କରିବେ। ସଂସଦ ଏବଂ ରାଜ୍ୟ/କେନ୍ଦ୍ରଶାସିତ ପ୍ରଦେଶ ବିଧାନସଭାରେ ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ ସମିତିର ଅଧ୍ୟକ୍ଷ ଓ ସଦସ୍ୟ; ଓଡ଼ିଶା ସରକାରଙ୍କ ମନ୍ତ୍ରୀ ଏବଂ ଓଡ଼ିଶା ବିଧାନସଭାର ସଦସ୍ୟମାନେ ଉଦଘାଟନୀ ସମାରୋହରେ ଯୋଗଦେବେ।
ଉଦଘାଟନୀ ଅଧିବେଶନରେ, ଓଡ଼ିଶା ବିଧାନସଭା ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ ସ୍ୱାଗତ ଭାଷଣ ଦେବେ ଏବଂ ଉପବାଚସ୍ପତି ଶ୍ରୀ ଭବାନୀ ଶଙ୍କର ଭୋଇ ଧନ୍ୟବାଦ ଅର୍ପଣ କରିବେ।
ଏହି ଦୁଇ ଦିନିଆ ସମ୍ମିଳନୀରେ (୨୯-୩୦ ଅଗଷ୍ଟ ୨୦୨୫) ସଂସଦ ଏବଂ ରାଜ୍ୟ/କେନ୍ଦ୍ରଶାସିତ ପ୍ରଦେଶ ବିଧାନସଭାର ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ ସମିତିର ଅଧ୍ୟକ୍ଷ ଏବଂ ସଦସ୍ୟଙ୍କ ସମେତ ୧୨୦ ରୁ ଅଧିକ ପ୍ରତିନିଧି ଅଂଶଗ୍ରହଣ କରିବେ। ସମ୍ମିଳନୀର ବିଷୟବସ୍ତୁ ରଖାଯାଇଛି - ‘‘ଅନୁସୂଚିତ ଜାତି ଏବଂ ଜନଜାତିଙ୍କ କଲ୍ୟାଣ, ବିକାଶ ଏବଂ ସଶକ୍ତିକରଣରେ ସଂସଦୀୟ ଏବଂ ବିଧାନସଭା ସମିତିଗୁଡ଼ିକର ଭୂମିକା’’
ଆସନ୍ତା ୩୦ ଅଗଷ୍ଟରେ ଓଡ଼ିଶାର ରାଜ୍ୟପାଳ ଡକ୍ଟର ହରି ବାବୁ କମ୍ଭମପାଟିଙ୍କ ଉଦଯାପନୀ ଅଭିଭାଷଣ ସହିତ ଏହି ସମ୍ମିଳନୀ ଉଦଯାପିତ ହେବ। ଲୋକସଭା ବାଚସ୍ପତି ଶ୍ରୀ ଓମ୍ ବିର୍ଲା, ରାଜ୍ୟସଭା ଉପାଧ୍ୟକ୍ଷ ଶ୍ରୀ ହରିବଂଶ, ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ ପାଇଁ ଗଠିତ ସଂସଦୀୟ ସମିତିର ଅଧ୍ୟକ୍ଷ ଡକ୍ଟର ଫଗନ ସିଂ କୁଲସ୍ତେ, ଓଡ଼ିଶା ବିଧାନସଭା ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ, ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଓ ପ୍ରଭାତୀ ପରିଡ଼ା ମଧ୍ୟ ଉଦଯାପନୀ ଅଧିବେଶନରେ ଉଦବୋଧନ ଦେବାର କାର୍ଯ୍ୟକ୍ରମ ରହିଛି । ଓଡ଼ିଶା ବିଧାନସଭାର ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ ପାଇଁ ଗଠିତ ସମିତିର ଅଧ୍ୟକ୍ଷ ଭାଷ୍କର ମଢ଼େଇ ଧନ୍ୟବାଦ ଅର୍ପଣ କରିବେ ।
ଏହି ସମ୍ମିଳନୀରେ, ଅନୁସୂଚିତ ଜାତି ଏବଂ ଜନଜାତିଙ୍କ ସଶକ୍ତିକରଣ ପାଇଁ ସାମ୍ବିଧାନିକ ସୁରକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା, ସାମାଜିକ-ଆର୍ଥିକ ବିକାଶକୁ ପ୍ରୋତ୍ସାହିତ କରିବା ଏବଂ ସର୍ବୋତ୍ତମ ଅଭ୍ୟାସଗୁଡ଼ିକୁ ବାଣ୍ଟିବା ଉପରେ ଆଲୋଚନା କରାଯିବ। ଏହା ସହିତ ୨୦୪୭ ମସିହା ସୁଦ୍ଧା ଏକ ସମାବେଶୀ ବିକଶିତ ଭାରତ ଗଠନ ଲକ୍ଷ୍ୟ ହାସଲ କରିବା ପାଇଁ କଲ୍ୟାଣକାରୀ ନୀତିଗୁଡ଼ିକର କାର୍ଯ୍ୟକାରିତାରେ ଉତ୍ତରଦାୟିତ୍ୱ ସୁନିଶ୍ଚିତ କରିବାରେ ସଂସଦୀୟ ଏବଂ ରାଜ୍ୟ ବିଧାନସଭା କମିଟିଗୁଡ଼ିକର ଗୁରୁତ୍ୱପୂର୍ଣ୍ଣ ଭୂମିକା ଉପରେ ଆଲୋକପାତ କରାଯିବ।
ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ କମିଟିର ଅଧ୍ୟକ୍ଷମାନଙ୍କର ପ୍ରଥମ ସମ୍ମିଳନୀ ୧୯୭୬ ମସିହାରେ ନୂଆଦିଲ୍ଲୀରେ ଅନୁଷ୍ଠିତ ହୋଇଥିଲା। ପରବର୍ତ୍ତୀ ସମୟରେ ୧୯୭୯, ୧୯୮୩, ୧୯୮୭ ଏବଂ ୨୦୦୧ ମସିହାରେ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା ଯେଉଁଥିରେ ଅନୁସୂଚିତ ଜାତି ଏବଂ ଜନଜାତି କଲ୍ୟାଣ ଏବଂ ସାମ୍ବିଧାନିକ ସୁରକ୍ଷାର ବିଭିନ୍ନ ଦିଗ ଉପରେ ବିସ୍ତୃତ ଆଲୋଚନା କରାଯାଇଥିଲା। ଏହି ସମ୍ମିଳନୀ ପ୍ରଥମ ଥର ପାଇଁ ଦିଲ୍ଲୀ ବାହାରେ ଅନୁଷ୍ଠିତ ହେଉଛି।
******
PS/Swadhin
(Release ID: 2161049)